ଅବପାତର ରୂପ ନେଲା ଲଘୁଚାପ: ଆଜି ଓ କାଲି ପ୍ରବଳ ବର୍ଷିବ | News Room Odisha

ଅବପାତର ରୂପ ନେଲା ଲଘୁଚାପ: ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର – ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଅବପାତ ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଆଜି ଓଡ଼ିଶା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।